୧୯ ତାରିଖ ଅର୍ଥାତ ଆସନ୍ତା ୪୮ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହି ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରବିବରଠାରୁ ୪ ଦିନ ଧରି ଓଡ଼ିଶାରେ ବର୍ଷା ଲାଗି ରହିବ।
୧୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଏବଂ ଗଜପତି ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୦ ତାରିଖରେ ଗଞ୍ଜାମ ଏବଂ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଗଞ୍ଜାମ ଏବଂ ଗଜପତି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଆଦି ଜିଲ୍ଲାରେ ବର୍ଷାର ପ୍ରକୋପକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପାଣିପାଗ ବିଭାଗର ଆକଳନକୁ ଦୃଷ୍ଟିରେ ରଖି ଦକ୍ଷିଣ ଓଡିଶାର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଗଞ୍ଜାମ ଜିଲ୍ଲାପାଳ ଏକ ଜରୁରୀ ବୈଠକ କରିଛନ୍ତି। ମାସର ଶେଷ ପର୍ଯ୍ୟନ୍ତ ମୁଖ୍ୟ କାର୍ଯ୍ୟାଳୟ ନଛାଡିବାକୁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେବା ସହିତ ତିତିଲି ବାତ୍ୟା ଭଳି ସ୍ଥିତି ହେବା ଆଶା ରହିଛି ବୋଲି ସତର୍କ କରାଇ ଦେଇଛନ୍ତି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା କାରଣରୁ ବନ୍ୟା ଓ ଭୂସ୍ଖଳନ ସ୍ଥିତି ଉପୁଜିପାରେ। ତେଣୁ ସେଠାରେ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିବା ସହ ଆବଶ୍ୟକ ମୁତାବକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦକ୍ଷିଣ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ରହିଛି ଏବଂ ଆସନ୍ତା ୧୯ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି।
ଏହି ଲଘୁଚାପ ପ୍ରଭାବରେ ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ତେବେ ସମୁଦ୍ରକୂଳିଆ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସମୁଦ୍ର ଅଶାନ୍ତ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେଣୁ ୧୯ ଏବଂ ୨୦ ତାରିଖରେ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ନିର୍ଦ୍ଦେଶ ଦିଆଯାଇଛି।